ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକମାନଙ୍କୁ “ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା” ପ୍ରଦାନ କରିଛନ୍ତି। ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକମାନଙ୍କୁ ସେମାନଙ୍କର ପ୍ରତ୍ଯେକ ଦିନର ମଜୁରି ସହିତ ଆଉ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଯାଇଛି। ଏହି ସହାୟତା ରାଶି ହିତାଧିକାରୀଙ୍କ ବ୍ଯାଙ୍କ ଆକାଉଣ୍ଟରେ ଜମା କରାଯାଇଛି। ଏହାଦ୍ବାରା ପ୍ରତ୍ଯେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି। ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପ୍ରାପ୍ତ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି। ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟ ମନ୍ତ୍ରୀ ମତବ୍ୟକ୍ତ କରିଥିଲେ।ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ଵିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି। ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ ରଖା ଯାଇଛି। ଏହି କାର୍ଯ୍ୟକ୍ରମରେ ଭର୍ଟୁଆଲ ମାଧ୍ୟମରେ ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରା , ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା ଓ ଉପଯୁକ୍ତ ହିତାଧିକାରୀ ଉପସ୍ଥିତ ଥିଲେ ।
ବ୍ୟୁରୋ ରିପୋର୍ଟ ମୋଢେଙ୍କାନାଳ ।